We Believe JesusFé, Esperança e Nova Vida

ଆଦି ପୁସ୍ତକ 11

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆଦି ପୁସ୍ତକ 10 ଆଦି ପୁସ୍ତକ ଆଦି ପୁସ୍ତକ 12 →

1ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।

2ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।

3ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।

4ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”

5ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।

6ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।

7ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”

8ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।

9ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।

10ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।

11ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚ ଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।

12ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।

13ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରି ଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।

14ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।

15ଏବରର ଜନ୍ମ ଉତ୍ତାରେ ଶେଲହ ଚାରି ଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।

16ପୁଣି, ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।

17ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରି ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।

18ପେଲଗ୍‍ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।

19ରୀୟୂର ଜନ୍ମ ଉତ୍ତାରେ ପେଲଗ୍‍ ଦୁଇ ଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।

20ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।

21ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇ ଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।

22ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।

23ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇ ଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।

24ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।

25ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣେଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।

26ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।

27ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;

28ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।

29ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।

30ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।

31ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।

32ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।

← ଆଦି ପୁସ୍ତକ 10 ଆଦି ପୁସ୍ତକ ଆଦି ପୁସ୍ତକ 12 →