We Believe JesusFé, Esperança e Nova Vida

ବିଳାପ 3

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ବିଳାପ 2 ବିଳାପ ବିଳାପ 4 →

1ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।

2ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।

3ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।

4ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।

5ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।

6ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି।

7ସେ ମୋର ଚାରିଆଡ଼େ ସୁରକ୍ଷାର ବାଡ଼ ଦେଇଅଛନ୍ତି, ଯେପରି ମୁଁ ବାହାରିଯାଇ ନ ପାରେ; ସେ ମୋହର ଜଞ୍ଜିର ଭାରୀ କରିଅଛନ୍ତି।

8ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।

9ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି।

10ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।

11ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।

12ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।

13ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।

14ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।

15ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।

16ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।

17ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।

18ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”

19ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।

20ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।

21ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।

22ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।

23ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।

24ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”

25ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।

26ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।

27ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।

28ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।

29ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।

30ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।

31କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।

32କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।

33କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।

34ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,

35ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,

36ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।

37ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?

38ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?

39ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?

40ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।

41ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।

42“ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।

43ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।

44ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।

45ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ।

46ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।

47ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।

48ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।

49ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି,

50ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।

51ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ।

52ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।

53ସେମାନେ ଗର୍ତ୍ତରେ3:53 ଗର୍ତ୍ତରେ କିମ୍ବା କୂପରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।

54ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।

55ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।

56ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।

57ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।

58ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।

59ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।

60ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।

61ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;

62ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।

63ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।

64ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।

65ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।

66ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”

← ବିଳାପ 2 ବିଳାପ ବିଳାପ 4 →