We Believe JesusFé, Esperança e Nova Vida

ଗୀତସଂହିତା 18

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 17 ଗୀତସଂହିତା ଗୀତସଂହିତା 19 →

1ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।

2ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି;

3ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।

4ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।

5ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ଫାନ୍ଦ ମୋʼ ଉପରେ ପଡ଼ିଲା।

6ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି,

7ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା

8ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।

9ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।

10ପୁଣି, ସେ କିରୂବ18:10 କିରୂବ ଏଗୁଡ଼ିକ ପକ୍ଷଥିବା ପ୍ରାଣୀ ଯେଉଁମାନେ ସ୍ବର୍ଗରେ ସଦାପ୍ରଭୁଙ୍କ ସିଂହାସନକୁ ପ୍ରହରୀ କରନ୍ତି। ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।

11ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।

12ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।

13ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।18:13 ଏବ୍ରୀ ଭାଷାରେ ତାହା ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ଅଛି କିନ୍ତୁ ଗ୍ରୀକ ଅନୁବାଦରେ ନାହିଁ।

14ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।

15ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ

16ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,

17ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।

18ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।

19ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।

20ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।

21କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।

22ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।

23ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।

24ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି।

25ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ;

26ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;

27କାରଣ ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।

28ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।

29କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।

30ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ;

31କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ?

32ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।

33ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।

34ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।

35ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।

36ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।

37ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।

38ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ।

39କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।

40ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।

41ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା,

42ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।

43ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।

44ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।

45ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।

46ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।

47ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।

48ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।

49ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।

50ସେ ଆପଣା ରାଜାକୁ ମହାପରିତ୍ରାଣ18:50 ମହାପରିତ୍ରାଣ ଅର୍ଥାତ୍‍ ମହାବିଜୟ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।

← ଗୀତସଂହିତା 17 ଗୀତସଂହିତା ଗୀତସଂହିତା 19 →