We Believe JesusFé, Esperança e Nova Vida

ଯାକୁବ 2

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯାକୁବ 1 ଯାକୁବ ଯାକୁବ 3 →

1ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।

2କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,

3ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,

4କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?

5ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?

6କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?

7ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?

8ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,

9ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।

10କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।

11ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।

12ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର।

13କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।

14ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?

15ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,

16ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?

17ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।

18କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।

19ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।

20କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ?

21ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‌ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?

22ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;

23ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।

24କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।

25ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?

26କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।

← ଯାକୁବ 1 ଯାକୁବ ଯାକୁବ 3 →